ଭୁବନେଶ୍ୱର: ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁନଥିବାରୁ ଚାଷୀ କୂଳ ଏକପ୍ରକାର ହନ୍ତସନ୍ତ ହେଉଛନ୍ତି।ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଚାଷୀ କୂଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ସେ ଦାବି କରିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା।
ଓଡିଶା ରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜରାସ୍ତାକୁ ଓଲ୍ହାଇବା ଚିନ୍ତାର ବିଷୟ। ଯୋଗାଣ ବ୍ୟବସ୍ଥାର କୁପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀକୁ ଆଜି ଏ ଅବସ୍ଥାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ସେ ଉଦବେଗ ପ୍ରକାଶ କରିଛନ୍ତି।